ଆନ୍ଧ୍ର ପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତ ହେଲେ ବରିଷ୍ଠ ବିଜେପି ନେତା ବିଶ୍ୱଭୂଷଣ ହରିଚନ୍ଦନ। ରାଷ୍ଟ୍ରପତି ତାଙ୍କୁ ଆନ୍ଧ୍ରର ରାଜ୍ୟପାଳ ଭାବେ ନିଯୁକ୍ତ କରିଛନ୍ତି। ଆଜି ଏନେଇ ରାଷ୍ଟ୍ରପତିଙ୍କ କାର୍ୟ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଛତିଶଗଡ଼ ରାଜ୍ୟପାଳ ଭାବେ ସୁଶ୍ରୀ ଅନୁସୂୟା ଉଇକେ ନିଯୁକ୍ତ ହୋଇଛନ୍ତି।
୮୫ ବର୍ଷୀୟ ଶ୍ରୀ ହରିଚନ୍ଦନ ବିଜେପିର ଜଣେ ବରିଷ୍ଠ ନେତା। ଦୀର୍ଘବର୍ଷ ଧରି ବିଜେପି ସହ ଜଡ଼ିତ ଅଛନ୍ତି। ସେ ବିଜୁ ପଟ୍ଟନାୟକଙ୍କ ସରକାରରେ ୧୯୯୦ରୁ ୧୯୯୩ ମସିହା ପର୍ଯ୍ୟନ୍ତ ଏବଂ ନବୀନ ପଟ୍ଟନାୟକଙ୍କ ସରକାରରେ ୨୦୦୦ରୁ ୨୦୦୯ ମସିହା ପର୍ଯ୍ୟନ୍ତ ବହୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଥିଲେ। ସେ ଚିଲିକା ଏବଂ ଭୁବନେଶ୍ୱରରୁ ୫ ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ସେ ୨ ଥର ଜନତା ଦଳରୁ ଏବଂ ୩ ଥର ବିଜେପିରୁ ନିର୍ବାଚିତ ହୋଇଛନ୍ତି। ୨୦୦୪ ମସିହାରେ ବିଜେପି-ବିଜେଡି ମେଣ୍ଟ ସରକାରରେ କ୍ୟାବିନେଟ୍ ମନ୍ତ୍ରୀ ଥିଲେ।