ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ସାରା ରାଜ୍ୟରେ କିଛି ଦିନ ଧରି ବର୍ଷା ଲାଗି ରହିଛି। ଅନେକ ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛ। ଲଘୁଚାପର ପ୍ରଭାବ ଆସନ୍ତା କାଲି ମଧ୍ୟ ଜାରି ରହିବ। ଲଘୁଚାପ ଯୋଗୁ ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୦ଟି ଜିଲ୍ଲା ବାଲେଶ୍ୱର, ମୟୁରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଢେଙ୍କାନାଳ, ବୌଦ୍ଧ, ଜଗତସିଂହପୁର, କଟକ ଏବଂ ଅନୁଗୁଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ କହିଛି। ଏହି ସବୁ ଜିଲ୍ଲା ପାଇଁ ରେଡ଼ ୱାର୍ଣ୍ଣିଂ ଜାରି କରାଯାଇଛି। ସେପଟେ କେନ୍ଦୁଝର, ଦେବଗଡ଼, ସମ୍ବଲପୁର, କନ୍ଧମାଳ, କଳାହାଣ୍ଡି, ପୁରୀ, ଖୋର୍ଦ୍ଧା, ମାଲକାନଗିରି ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାଗୁଡ଼ିକ ପାଇଁ ୱାରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହା ଛଡା କଟକ ଏବଂ ଭୁବନେଶ୍ୱରରେ ଅତି ପ୍ରବଳ ବର୍ଷା ହେବ ବୋଲି ସୂଚନା ମିଳିଛି। ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟ ପରିସ୍ଥିତିର ସମୀକ୍ଷା କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର। ବର୍ଷା ପରବର୍ତ୍ତୀ ପରିସ୍ଥିତି ନେଇ ସ୍ୱତନ୍ତ୍ର ରିଲିଫ କମିଶନର ଆଜି ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି ଓ ସେମାନଙ୍କୁ ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ସତର୍କ ରହିବାକୁ କହିଛନ୍ତି। ବିଡ଼ିଓ ଓ ତହସିଲଦାରମାନଙ୍କୁ ମଧ୍ୟ ସତର୍କ ରହିବାକୁ କୁହାଯାଇଥିବା ଏସଆରସି କହିଛନ୍ତି। ଆବଶ୍ୟକ ସ୍ଥଳେ ଉଦ୍ଧାର ଓ ପୁନରୁଦ୍ଧାର କାର୍ଯ୍ୟ ପାଇଁ ଓଡ୍ରାଫ ଏବଂ ଅଗ୍ନିଶମ ବିଭାଗକୁ ପ୍ରସ୍ତୁତ ରହିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।