ଆଜି ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ସହ ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ ଓ ମହାସଚିବ ଶ୍ରୀ ଭୋଳାନାଥ ସିଂ ସୌଜନ୍ୟମୂଳକ ସାକ୍ଷାତ ଓ ଆଲୋଚନା କରିଛନ୍ତି।
ଆଲୋଚନା ପ୍ରସଙ୍ଗରେ ସେମାନେ କହିଥିଲେ ଯେ, ହକି ପାଇଁ ଓଡ଼ିଶାକୁ ବିଶ୍ଵରେ ଗୋଟିଏ ଅଲଗା ପରିଚୟ ମିଳିଛି। ଭାରତୀୟ ହକି ଦଳର ବିକାଶରେ ଓଡ଼ିଶାର ପ୍ରଶଂସନୀୟ ଅବଦାନ ରହିଛି। ଭବିଷ୍ୟତରେ ଓଡ଼ିଶା ସରକାରଙ୍କ ସହ ମିଶି ହକି ଇଣ୍ଡିଆ ହକିକୁ ପରବର୍ତ୍ତୀ ପର୍ଯ୍ୟାୟକୁ ନେବା ପାଇଁ ଚାହୁଁଛି,ଏଥିରେ ଓଡ଼ିଶା ସରକାରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ହକି ଇଣ୍ଡିଆ ପକ୍ଷରୁ କୁହାଯାଇଥିଲା।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡ଼ିଶା ସରକାରଙ୍କ ପକ୍ଷରୁ ୨୦୩୬ ମସିହାରେ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଶହେ ବର୍ଷ ପୂର୍ତ୍ତି ପାଳନ ହେବାକୁ ଯାଉଛି, ସେଥିପାଇଁ ଓଡ଼ିଶା ସରକାରଙ୍କ ହକି ଇଣ୍ଡିଆକୁ sponsorship ଅବଧି ସମୟକୁ ୨୦୩୩ ରୁ ଆଉ ତିନିବର୍ଷ ପାଇଁ ବୃଦ୍ଧି କରାଯିବ ଏବଂ ହକିର ଉନ୍ନତି ପାଇଁ ରାଜ୍ୟ ସରକାର ଙ୍କ ପକ୍ଷରୁ ସମସ୍ତ ସହଯୋଗ ଯୋଗାଇଦିଆଯିବ ।
ସୂଚନା ଯୋଗ୍ୟ ଯେ, ଓଡ଼ିଶା ସରକାର ୨୦୧୮ ମସିହା ରୁ ଭାରତୀୟ ହକି ଦଳ ର sponsorship ଦାୟିତ୍ଵ ନେଇଛନ୍ତି। ୨୦୨୩ ରୁ ୧୦ ବର୍ଷ ପାଇଁ sponsor କରିବା ପାଇଁ ପୂର୍ବ ସରକାର ଘୋଷଣା କରିଥିଲେ।
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ମଧ୍ୟ ହକି ପ୍ରତି ଓଡ଼ିଶା ବାସୀଙ୍କ ଭାବାବେଗକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତି ନେଇଛନ୍ତି ବୋଲି କହିଥିଲେ। ମୁଖ୍ୟଶାସନ ସଚିବ ଶ୍ରୀ ପି . କେ . ଜେନା, କ୍ରୀଡା ସଚିବ ଶ୍ରୀ ଭିନିଲ କ୍ରିଷ୍ଣା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।